ଓଡ଼ିଶା

ଆଜି ରାଜଧିରାଜଙ୍କ ସୁନାବେଶ

ଆଜି ରାଜଧିରାଜଙ୍କ ସୁନାବେଶ। ଦୀର୍ଘ ଦୁଇ ବର୍ଷ ପରେ ତିନି ଠାକୁର ରଥ ଉପରେ ସୁନାବେଶରେ ଦର୍ଶନ ଦେବେ। ମହଣ ମହଣ ସୁନାରେ ସୁସଜ୍ଜିତ ହେବେ ଶ୍ରୀଜିଉ। ତେବେ ମଧ୍ୟାହ୍ନ ଧୂପ ଓ ମଇଲମ ନୀତି ପରେ ପରେ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ। ଆଜି ସକାଳୁ ସକାଳୁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇ ଉଠିଥିବା ବେଳେ ପୁରୀକୁ ଲୋକଙ୍କ ଆଗମନ ମଧ୍ୟ ବଢ଼ିବାରେ ଲାଗିଛି । ଅପରାହ୍ନ ୫ଟାରୁ ୬.୩୦ ମଧ୍ୟରେ ଶ୍ରୀଜିଉମାନଙ୍କୁ ସୁନାବେଶରେ ସୁସଜ୍ଜିତ କରାଯିବ। ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ ଭକ୍ତ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ମଧ୍ୟ ପ୍ରଶାସନ ପକ୍ଷରୁ ନିଷ୍ପତି ନିଆଯାଇଛି। ୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଝଲସିବେ ଶ୍ରୀଜିଉ । ବେଶ ଓଲାଗି ପରେ ବଡସିଂହାର ବେଶ ଓ ରାତ୍ର ପହୁଡ ହେବ।

ତେବେ ଶ୍ରୀଜିଉଙ୍କର ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡତଢାଉ ବେଶ ହେଉଛି ଅନ୍ୟତମ। ଶ୍ରୀବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କାନ କୁଣ୍ଡଳ, କମରପଟି,ଆଡକାନି, ଚନ୍ଦ୍ରିକା, ସେବତୀ ମାଳି, ବାଘନଖ ମାଳି, ବାହାଡାମାଳି, ଅସ୍ତ୍ରହଳ ଓ ମୁଷଳ, ତିଳକ, ତ୍ରୀଖଣ୍ଡିକା,ଓ ଝୋବାକଣ୍ଠି ଆଦି ପରିଧାନ କରିଥାନ୍ତି। ଦେବୀ ସୁଭଦ୍ରାଙ୍କୁ କିରିଟି, ଓଡିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଦୁଇଟି ତଗଡି,ସେବତୀ ମାଳି,ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିଥାନ୍ତି। ସେହିଭଳି ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର, ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ୟ ଶଙ୍ଖ,କମରପଟି, କର୍ଣ୍ଣକୁଣ୍ଡଳ,ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା, ସେବତୀମାଳି, ଝୋବା କଣ୍ଠି, ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ ଉପରେ ସୁନା ବେଶରେ ଦର୍ଶନ ଦେବେ ।
– ସୌନ୍ଦର୍ଯ୍ୟା ମହାନ୍ତିଙ୍କ ରିପୋର୍ଟ

Leave a Reply

Your email address will not be published.

Back to top button