ଜନ୍ମମାଟିର ବିକାଶ ପାଇଁ କିଛି କରିନାହାନ୍ତି ଧର୍ମେନ୍ଦ୍ର: ବିଜେଡି

Spread the love

ଭୁବନେଶ୍ୱର : ଜନ୍ମମାଟି ଢେଙ୍କାନାଳ ଓ ଅନୁଗୁଳର ବିକାଶକୁ ନେଇ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକାଧିକ ପ୍ରଶ୍ନ ପଚାରିଛି ବିଜେଡି । ନଅ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ କାଳରେଏହି ଦୁଇ ଜିଲ୍ଲା ପାଇଁ କ’ଣ ସବୁ କରିଛ ବୋଲି ସିଧାସଳଖ ପଚାରିଛନ୍ତି ବିଜେଡି ସାଂସଦ ମହେଶ ସାହୁ ।

ସୋମବାର ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ସାଂସଦ ଶ୍ରୀ ସାହୁ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଭାବେ ଆପଣ ୯ ବର୍ଷ ଧରି କାର୍ଯ୍ୟ କରୁଛନ୍ତି । ହେଲେ ଜିଲ୍ଲା ପାଇଁ ଆପଣ କ’ଣ କରିଛନ୍ତି? କଟକରୁ ସମ୍ବଲପୁର ପର୍ଯ୍ୟନ୍ତ ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି । ଢେଙ୍କାନାଳ ଏବଂ ଅନୁଗୁଳ ଦେଇ ସାଧାରଣ ଜନତା, ରୋଗୀ, ଅଫିସ୍ ଯାଉଥିବା ଲୋକେ, ସ୍କୁଲ ଏବଂ କଲେଜ ଯାଉଥିବା ଛାତ୍ରଛାତ୍ରୀମାନେ ଯନ୍ତ୍ରଣା ଭୋଗୁଛନ୍ତି । ଏହାର ଉନ୍ନତି ପାଇଁ ଆପଣ ୯ ବର୍ଷରେ କ’ଣ କରିଛନ୍ତି? ଆପଣ ମନ୍ତ୍ରୀ ହୋଇଥିବା ନଅ ବର୍ଷ ମଧ୍ୟରେ ଢେଙ୍କାନାଳ-ଅନୁଗୁଳ ଲୋକଙ୍କ ପାଇଁ ରେଳବାଇରେ କୌଣସି ବିକାଶ ହୋଇନାହିଁ । ଏହି ଦୁଇ ଦୁଇ ଜିଲ୍ଲାରୁ ରେଳବାଇ ସର୍ବାଧିକ ରାଜସ୍ୱ ସଂଗ୍ରହ କରୁଛି । ତାଳଚେର-ବିମଳାଗଡ ରେଳପଥର ଅଗ୍ରଗତି ହୋଇପାରିଲା ନାହିଁ । ତାଳଚେର ରେଳଷ୍ଟେସନ ଏବେବି ଗୁଡସ୍ ଷ୍ଟେସନ ହୋଇରହିଛି ।

ସେହିପରି ଟେଲି ଯୋଗାଯୋଗ ଢେଙ୍କାନାଳର ବିଭିନ୍ନ ଅଞ୍ଚଳ- ଅନୁଗୁଳରେ ବହୁତ ଖରାପ । ବ୍ୟାଙ୍କିଙ୍ଗ୍ ସେବା ମଧ୍ୟ ଦୟନୀୟ । ପରିସ୍ଥିତିକୁ ସୁଧାରିବା ପାଇଁ ମନ୍ତ୍ରୀ ହେବା ପରେ ଆପଣ କ’ଣ କରିଛନ୍ତି? ଆପଣ ହେଉଛନ୍ତି ଦେଶର ଶିକ୍ଷାମନ୍ତ୍ରୀ । ଆପଣ ଢେଙ୍କାନାଳ-ଅନୁଗୁଳ ଅଞ୍ଚଳରେ କେତେ କେନ୍ଦ୍ରୀୟ ବିଦ୍ୟାଳୟଏବଂ ନବୋଦୟ ବିଦ୍ୟାଳୟ ଖୋଲିଛନ୍ତି? ଓଡ଼ିଶା ସରକାର ୫-ଟି ମାଧ୍ୟମରେ ବିଦ୍ୟାଳୟ ଗୁଡ଼ିକୁ ରୂପାନ୍ତରିତ କରୁଛନ୍ତି । ଆପଣ ନିଜ ଗାଁ ବିଦ୍ୟାଳୟକୁ ୫-ଟି ସ୍ତରୀୟ ବିଦ୍ୟାଳୟ ପରି ରୂପାନ୍ତରିତ କରିଛନ୍ତି କି?

ଗତ ୯ ବର୍ଷ ମଧ୍ୟରେ ଢେଙ୍କାନାଳ-ଅନୁଗୁଳରେ କୌଣସି ନୂତନ ରାଷ୍ଟ୍ରାୟତ ସଂସ୍ଥା (ପିଏସୟୁ) ଆରମ୍ଭ ହୋଇଛି କି? ପେଟ୍ରୋଲିୟମ ମନ୍ତ୍ରୀ ହୋଇଥିଲେ ମଧ୍ୟ ଢେଙ୍କାନାଳକୁ ଗୋଟିଏ ପିଏସୟୁ ଆଣିଛନ୍ତି କି? ଢେଙ୍କାନାଳ-ଅନୁଗୁଳ ଅଞ୍ଚଳରେ ଲୋକମାନେ ଏମସିଏଲ ଏବଂ ନାଲକୋ ପାଇଁ ଜମି ହରାଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କୁ ଚାକିରି ମିଳିନାହିଁ । ଆପଣ ସେମାନଙ୍କ ପାଇଁ କ’ଣ କରିଛନ୍ତି? ଏମସିଏଲ୍ ତାଳଚେରରେ ଦୁର୍ନୀତି ହେଉଛି । ଏଥିପ୍ରତି କେନ୍ଦ୍ରସରକାର ନିରବଦ୍ରଷ୍ଟା ସାଜିଛନ୍ତି । ଏହାକୁରୋକିବା ପାଇଁ ଆପଣ କ’ଣ କରୁଛନ୍ତି? ଆଙ୍କାକ୍ଷୀ ଜିଲ୍ଲା ତାଲିକାରେ ଥିବା ଢେଙ୍କାନାଳ ଜିଲ୍ଲାରେ ମେଡିକାଲ କଲେଜଟିଏ ସ୍ୱପ୍ନ ହୋଇରହିଗଲା ।

ଆପଣଙ୍କର ପ୍ରତିବଦ୍ଧତା ମଧ୍ୟପ୍ରଦେଶ ଏବଂ ବିହାର ପାଇଁ, ଯେଉଁଠାରୁ ଆପଣ ନିର୍ବାଚିତ ହୋଇଛନ୍ତି ଏବଂ ସେଥିପାଇଁ ଆପଣ ସେଠାରେ ଧ୍ୟାନ ଦେଉଛନ୍ତି ଏବଂ ସେଠାରେ ସାହାଯ୍ୟ କରୁଛନ୍ତି । କିନ୍ତୁ ଆପଣ ଜନ୍ମ ହୋଇଥିବା ଢେଙ୍କାନାଳ-ଅନୁଗୁଳ ଜିଲ୍ଲାରେ କିଛି କରୁନାହାନ୍ତି । ଯେତେବେଳେ ନିର୍ବାଚନ ଆସେ, ଆପଣ ଏଠାକୁ ରାଜନୀତି କରିବାକୁ ଆସନ୍ତି ବୋଲି ସାଂସଦ ଶ୍ରୀ ସାହୁ କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *