ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ

Spread the love

ପୁରୀ:  ପବିତ୍ର ମାଘ ପୁର୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ । ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଠାକୁର ଗରୁଡଙ୍କ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରନ୍ତି। ଶ୍ରୀ ବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ। ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି ।

ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରେ ମହାପ୍ରଭୁଙ୍କୁ ଗଜଉଦ୍ଧାରଣ ବେଶରେ ଭୂଷିତ କରାଯାଇଥାଏ । ମଧ୍ୟାହ୍ନ ଧୂପ ସରିବା ପରେ ସନ୍ଧ୍ୟାରେ ସାହାଣ ମେଲା ହେବା ଯାଏ ବେଶ ରହିଥାଏ । ଏହି ବେଶ ସମୟରେ ରତ୍ନସିଂହାସନରେ ଶୋଭା ପାଉଥିବା ମା ଲକ୍ଷ୍ମୀଙ୍କର ସୁବର୍ଣ୍ଣପ୍ରତିମାଙ୍କୁ ଜଗନ୍ନାଥଙ୍କ କୋଳରେ ରଖାଯିବା ସହ । କ୍ଷୀରି ଓ ଅମାଲୁ ସ୍ୱତନ୍ତ୍ର ଭୋଗ ରୂପେ ଅର୍ପିତ କରାଯାଏ । ଗଜଉଦ୍ଧାରଣ ବେଶର ବିଶେଷତ୍ୱ ହେଲା ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଚତୁଃହସ୍ତ ରୂପେ ଏବଂ ସୁଭଦ୍ରା ଦ୍ୱିଭୁଜ ବିଶିଷ୍ଟା ହୁଅନ୍ତି । ଚତୁଃହସ୍ତଧାରୀ ଶ୍ରୀଜଗନ୍ନାଥ ଗରୁଡ଼ ଉପରେ ବସିଥିବା ପ୍ରଦର୍ଶିତ ହୋଇଥାଏ । ପଦ୍ମାସନ ଭଙ୍ଗୀରେ ଗୋଟିଏ ଆସ୍ଥାନରେ ବସିଥିବା ବଳଭଦ୍ର ତାଙ୍କର ଊର୍ଦ୍ଧ୍ୱ ଦୁଇ ହସ୍ତରେ ସୋଲ ଓ ଜରି ନିର୍ମିତ ଶଙ୍ଖ ଓ ଚକ୍ର, ନିମ୍ନ ଦୁଇ ହସ୍ତରେ ହଳ ବାମ ଓ ମୂଷଳ ଧାରଣ କରିଥାନ୍ତି । ସୁଭଦ୍ରା ଦୁଇଭୁଜ ଓ ଦୁଇ ପଦଯୁକ୍ତା ହୋଇ କୃଷ୍ଣଙ୍କ ଭଳି ଛନ୍ଦାୟିତ ଭଙ୍ଗୀରେ ଛିଡ଼ା ହୋଇଥାନ୍ତି । ଏହି ବେଶରେ କାଠ ଓ ଶୋଲ ନିର୍ମିତ ଦୁଇଟି ହସ୍ତୀ ପ୍ରତିମୂର୍ତ୍ତି ବ୍ୟବହୃତ ହୋଇଥାଏ । ଗୋଟିଏ ହସ୍ତୀ ବଳଭଦ୍ରଙ୍କ ସମୀପରେ ରତ୍ନ ସିଂହାସନ ଆଗରେ ପୋଖରୀଆରେ ଏବଂ ଅନ୍ୟଟି ଶ୍ରୀଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ରଖାଯାଇଥାଏ । ଜଗନ୍ନାଥଙ୍କ ସମ୍ମୁଖରେ ଥିବା ଗଜଟି ଆର୍ତ୍ତ ହରଣ ପାଇଁ ଆକୁଳ ନିବେଦନ କରୁଥିବା ଭଙ୍ଗୀରେ ପ୍ରଦର୍ଶିତ ହୁଏ ।

ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜିଉ ମାନଙ୍କର ଏହି ବେଶ କୁ ଦେଖିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି। ଭିଡ ନିୟନ୍ତ୍ରଣ ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଗଜଉଦ୍ଧାରଣ ବେଶରେ ତିନି ଠାକୁରଙ୍କ ମଥାରେ ଚୂଳ ଓ କିରୀଟ ସହ ସୁବର୍ଣ୍ଣ ନିର୍ମିତ ପଦ୍ମମାଳି, କଦମ୍ବମାଳି ପ୍ରଭୃତିରେ ଭୂଷିତ ହୋଇଥାନ୍ତି ।

ଶିବପ୍ରସାଦ ଦାସଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *