ପବିତ୍ର ଦେବସ୍ନାନ ପୂର୍ଣ୍ଣିମା:ଗଜବେଶରେ ଦର୍ଶନ ଦେବେ ମହାବାହୁ

Spread the love

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ରତ୍ନ ସିଂହାସନରୁ ସ୍ନାନମଣ୍ଡପକୁ ବିରାଜିବେ ଚତୁର୍ଦ୍ଧାବିଗ୍ରହ। ସ୍ନାନମଣ୍ଡପରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ସ୍ନାନବେଦିକୁ ସୁସଜ୍ଜିତ କରି ସଜାଯାଇଛି। ପହଣ୍ଡି ପୂର୍ବରୁ ଗତକାଲି ଦଇତାପତିଙ୍କ ଦ୍ୱାରା ବାହୁଟକଣ୍ଟ ନୀତି ଶେଷ ହୋଇଥିଲା। ଆଜି କୋଠ ସୁଆଁସିଆ ରତ୍ନସିଂହାସନରେ ଚାରମାଳ ବାନ୍ଧିବା ପରେ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେନାପଟା ଲାଗି ନୀତିସଂପନ୍ନ କରିଛନ୍ତି।

ନିର୍ଘଣ୍ଟ ନୀତି ଅନୁଯାୟୀ, ଆଜି ଭୋର ସାଢ଼େ ୪ଟାରେ ମଙ୍ଗଳାର୍ପଣ ପରେ ୫ଟାରୁ ୭ଟା ଭିତରେ ଡୋର ଲାଗି ଓ ପୁଷ୍ପାଞ୍ଜଳି ହୋଇ ପହଣ୍ଡି ଆରମ୍ଭ ହୋଇଛି । ଧାଡ଼ି ପହଣ୍ଡିରେ ପ୍ରଥମେ ପ୍ରଭୁ ସୁଦର୍ଶନ, ପରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସ୍ନାନବେଦିକୁ ବିଜେ କରୁଛନ୍ତି । ପହଣ୍ଡି ଶେଷ ପରେ ପୂର୍ବାହ୍ନ ୯ଟା ୧୦ରେ ମଙ୍ଗଳଆଳତି ହେବ । ମଧ୍ୟାହ୍ନ ୧୨ଟା ୨୦ରୁ ଅପରାହ୍ନ ୧ଟା ୪୫ ଭିତରେ ଜଳବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହେବ । ଅପରାହ୍ନ ୩ଟାରେ ଗଜପତି ମହାରାଜା ଛେରା ପହଁରା କରିବାପରେ ଅପରାହ୍ନ ୩ଟା ୪୦ରେ ଗଜବେଶ ଆରମ୍ଭ ହେବ । ରାତି ସାଢ଼େ ୭ଟାରୁ ଭକ୍ତଙ୍କ ସାହାଣମେଲା ଦର୍ଶନ ଆରମ୍ଭ ହେବ । ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ । ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ । ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ ।

Leave a Reply

Your email address will not be published. Required fields are marked *