
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ବଣଭୋଜି ବେଶ। ବୁଧବାରଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ବୁଧବାର ଯେଉଡ଼ ଭୋଗ ପରେ ଗୁରୁବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଶୁକ୍ରବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାପରେ ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯିବ। ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବଣଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ ମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଇବେ। ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରନ୍ତି ।
ମହାପାତ୍ର ସେବକ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ମହାପାତ୍ର ବନ୍ଦାପନା କରିବେ। ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବଣଭୋଜି ବେଶରେ ସଜ୍ଜିତ କରାଯିବ। ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି। ବଣଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ 18 ପ୍ରକାର ସ୍ୱର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ। ଦୁଇବର୍ଷ କରୋନା କଟକଣା ପରେ ଚଳିତବର୍ଷ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନର ସୁଯୋଗ ପାଇବେ ଶ୍ରଦ୍ଧାଳୁ।