୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

Spread the love

ଭୁବନେଶ୍ୱର : ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ସେହିପରି ରାଜ୍ୟର ସମସ୍ତ ବନ୍ଦର ଗୁଡିକୁ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ୧୦ ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ବୌଦ୍ଧ । ଏହି ଜିଲ୍ଲାମାନଙ୍କରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଅତି ପ୍ରବଳ ବର୍ଷା ଯୋଗୁ ତଳିଆ ଅଂଚଳରେ ପାଣି ଜମିବା ସହ ଫ୍ଲାସ୍ ଫ୍ଲଡ୍ ଆଶଙ୍କା ରହିଛି । ସେହିପରି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ । ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର, ଯାଜପୁର । ଅପରପକ୍ଷରେ ୩ ତାରିଖ ପାଇଁ ୩ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ, ଝାରସୁଗୁଡା ଓ ବରଗଡ ।

Leave a Reply

Your email address will not be published. Required fields are marked *