ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ଯେଉଡ଼ ଭୋଗ ପରେ ସୋମବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଗତକାଲି ମଙ୍ଗଳବାର ନନ୍ଦ ଉତ୍ସବ ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ପରେ ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ   ପୂଜାପଣ୍ଡା ସେବକ ମାନେ  ଆଜ୍ଞାମାଳ ପ୍ରଦାନ କରିବା  ପରେ ଦୁଇ ପ୍ରତିମାଙ୍କୁ  ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ  ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଯିବ । ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ। ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ  ସଜ୍ଜିତ କରାଯିବ। ଶ୍ରୀଜିଉମାନଙ୍କ  ଶ୍ରୀଭୁଜରେ  ରୂପା ପିଙ୍ଗଣରେ ସର ଧାରଣ ସହ  ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ 18 ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *